ପିଲାଙ୍କ ଭିତରେ ରହିଛି ବିପୁଳ ସମ୍ଭାବନା
୫ ଜିଲ୍ଲାର ୫୩୧ ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ଭୁବନେଶ୍ୱର (ବୁ୍ୟରୋ): ସ୍କୁଲ ରୂପାନ୍ତର କେବଳ ବିଦ୍ୟାଳୟର ଭୌତିକ ରୂପରେ ପରିବର୍ତ୍ତନ ଆଣିନି, ତାସହିତ ପିଲାଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି । ପାଠ ସହ ଖେଳ ଆଦି କ୍ରିଏଟିଭ୍ ଟ୍ୟାଲେଣ୍ଟର ବିକାଶ ପାଇଁ ସୁଯୋଗ ଆଣିଛି । ସେମାନଙ୍କ ବ୍ୟକ୍ତିତ୍ୱକୁ ମଧ୍ୟ ବିକଶିତ କରିବାରେ ବିଶେଷ ସହାୟକ ହୋଇଛି ବୋଲି ଛାତ୍ରଛାତ୍ରୀମାନେ ମତ ଦେଇଥିଲେ । ଦ୍ୱିତୀୟ ପର୍ଯ୍ୟାୟର ଦ୍ୱିତୀୟ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରି ପିଲାଙ୍କ ସହିତ କଥାବାର୍ତ୍ତା କରିବା ସମୟରେ ପିଲାଙ୍କ ଆନନ୍ଦ ଉତ୍ସାହ ଓ ମନୋଭାବରୁ ଏହା ସ୍ପଷ୍ଟ ଜଣାଯାଇଛି । ଆଲୋଚନାରେ ଭାଗ ନେଇ ଢେଙ୍କାନାଳରୁ ତ୍ରିଶା ପ୍ରିୟଦର୍ଶିନୀ,ଗଞ୍ଜାମରୁ ଅର୍ପିତା ଚୌଧୁରୀ, କନ୍ଧମାଳରୁ ସୋନାଲି କହ୍ନର, ନବରଙ୍ଗପୁରରୁ ଜୁଇସ ସୁନା ଓ ଅନୁଗୁଳରୁ ବିଷ୍ଣୁ ପ୍ରସାଦ ଚଇନି ଆଦି ଛାତ୍ରଛାତ୍ରୀ ସେମାନଙ୍କ ବକ୍ତବ୍ୟରେ ସ୍କୁଲ ରୂପାନ୍ତର ବିଷୟରେ ସେମାନଙ୍କ ଅନୁଭବ ବର୍ଣ୍ଣନା କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୫ଟି ଜିଲ୍ଲା ୫୩୧ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଢେଙ୍କାନାଳ ଜିଲ୍ଲାର ୧୦୫ଟି ହାଇସ୍କୁଲ, ଗଞ୍ଜାମର ୨୩୦ଟି, କନ୍ଧମାଳର ୭୩ଟି, ନବରଙ୍ଗପୁରର ୭୩ଟି ଓ ଅନୁଗୁଳ ଜିଲ୍ଲାର ୫୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ, ଦ୍ୱିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ ହାଇସ୍କୁଲର ରୂପାନ୍ତର ହୋଇଛି । ଏହି ଅବସରରେ ପିଲାଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରତ୍ୟେକ ପିଲା ସ୍ୱତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ୱପ୍ନ । ଜୀବନରେ କିଛି ବଡ କରିବାର ସ୍ୱପ୍ନ । ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ୱପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଜୀବନର ଏ ଗୁରୁତ୍ୱପୂର୍ଣ୍ଣ ସମୟକୁ ଠିକ୍ ଭାବରେ ଉପଯୋଗ କର ଏବଂ ନିଜ ପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ । ପିଲାମାନଙ୍କୁ ୫-ଟି ମହତ୍ତ୍ୱ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ୱଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର । ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ଉପବାଚସ୍ପତି ରଜନୀକାନ୍ତ ସିଂହ, ବିଧାୟକ ଅଙ୍ଗଦ କଅଁର ଓ ବିଧାୟକ ମନୋହର ରନ୍ଧାରୀ ପ୍ରମୁଖ ଉଦ୍ବୋଧନ ଦେଇ ମାନବ ସମ୍ବଳର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ଦୂରଦର୍ଶୀ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ସମୟରେ ନବରଙ୍ଗପୁରର ଜଣେ ଛାତ୍ରୀ ଜୁଇସ ସୁନା ପିଲାଙ୍କ ଗମନାଗମନ ଅସୁବିଧା ବିଷୟରେ ଦୃଷ୍ଟି ଆକର୍ଷଣ କରିଥିଲେ । ପିଲାଙ୍କ ସୁବିଧା ପାଇଁ ଅଧିକ ହଷ୍ଟେଲ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରି·ଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ସଚିବ ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।