୪ ଦିନ ପ୍ରବଳ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର (ବୁ୍ୟରୋ): ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଆସନ୍ତାକାଲି ସକାଳ ସାଢ଼େ ୮ଟା ମଧ୍ୟରେ ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, ନୂଆପଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଠିକ୍ ସେହିପରି ସୁନ୍ଦରଗଡ଼, ମୟୂରଭଞ୍ଜ, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ବରଗଡ଼, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବାଂଲାଦେଶ ଓ ତା’ର ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ଉପରୋକ୍ତ ଜିଲ୍ଲା ଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ସୃଷ୍ଟି ହୋଇଛି ।