ଶିକ୍ଷକତା ବୃତ୍ତି ନୁହେଁ, ସଂକଳ୍ପ

ନବନିଯୁକ୍ତ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁମନ୍ତ୍ର
ଭୁବନେଶ୍ୱର, ୧ା୮ (ବୁ୍ୟରୋ): ଆପଣମାନେ ସମସ୍ତେ ଯୁବକ ଓ ବହୁତ ଉତ୍ସାହୀ । ତେଣୁ ଶିକ୍ଷକତାକୁ ଏକ ବୃତ୍ତି ଭାବରେ ଗ୍ରହଣ ନ କରି ଏହାକୁ ଏକ ସଂକଳ୍ପ ଭାବେ ନେଇ କାମ କରନ୍ତୁ । ମୋର ବିଶ୍ୱାସ, ମୋ ଓଡିଶାର ପିଲାମାନଙ୍କ ଭବିଷ୍ୟତକୁ ଉଜ୍ଜଳ କରିବାରେ ଆପଣଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ ବୋଲି ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ସ୍ଥାନୀୟ କଳିଙ୍ଗ ହକି ଷ୍ଟାଡିଅମଠାରେ ନବନିଯୁକ୍ତ ଶିକ୍ଷକଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ପରାମର୍ଶ ଦେଇଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗରେ ୬୮୯୧ ଜଣ ଶିକ୍ଷକ-ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି । ଏହି ନବନିଯୁକ୍ତ ଶିକ୍ଷକମାନଙ୍କ ପାଇଁ ସ୍ଥାନୀୟ କଳିଙ୍ଗ ହକି ଷ୍ଟାଡିଅମଠାରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଯୋଗ ଦେଇ କହିଛନ୍ତି, ରାଜ୍ୟରେ ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମ ଜୋରଦାରରେ ଜାରି ରହିଛି । ଗତ ୩ ବର୍ଷ ମଧ୍ୟରେ ୧୪ ହଜାରରୁ ଅଧିକ ଶିକ୍ଷକ ନିଯୁକ୍ତି ପାଇଛନ୍ତି । ଶିକ୍ଷକତା ପରି ଏକ ମହାନ ବୃତ୍ତିରେ ଯୋଗ ଦେଇଥିବାରୁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି ।
ଶିକ୍ଷକ ହେଉଛନ୍ତି ରାଷ୍ଟ୍ରନିର୍ମାତା, ଜାତିର ଗୌରବ । ଦେଶର ଭବିଷ୍ୟତ ପୀଢିକୁ ଗଢିବାର ପବିତ୍ର ଦାୟିତ୍ୱ ଆପଣମାନେ ନେଉଛନ୍ତି । ଶିକ୍ଷା କେବଳ ଗୋଟିଏ ବ୍ୟକ୍ତି ବା ପରିବାର ବା ସମାଜ ନୁହେଁ, ଶିକ୍ଷା ଗୋଟିଏ ଜାତିର ଭାଗ୍ୟ ପରିବର୍ତ୍ତନ କରିଦିଏ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ । ସ୍କୁଲ ରୂପାନ୍ତର ବିଷୟରେ ସୂଚନା ଦେଇ ସେ କହିଥିଲେ, ଏପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ୪୦୦୦ ସ୍କୁଲର ରୂପାନ୍ତର କାମ ସରିଲାଣିୟ ଡିସେମ୍ବର ୨୦୨୩ ସୁଦ୍ଧା ଆଉ ଚାରି ହଜାର ଆଠ ଶହ ସ୍କୁଲ ରୂପାନ୍ତର କରାଯିବ । ଆପଣଙ୍କ ଗାଁ, ବ୍ଲକ୍ରେ ସ୍କୁଲର ନୂଆ ରୂପ ନିଶ୍ଚୟ ଦେଖିଥିବେ । ସ୍କୁଲ ରୂପାନ୍ତର ପିଲାଙ୍କ ଭିତରେ ନୂଆ ଉତ୍ସାହ ଆଣିଦେଇଛି । ସେ ଉତ୍ସାହକୁ ଜୀବନର ସଫଳତାରେ ରୂପାନ୍ତର କରିବା ଦାୟିତ୍ୱ ଆପଣଙ୍କର । ଆମ ଶିକ୍ଷକଙ୍କର ଜ୍ଞାନ, ତ୍ୟାଗ ଓ ନିଷ୍ଠା ହିଁ ଶିକ୍ଷା କ୍ଷେତ୍ରରେ ପ୍ରକୃତ ରୂପାନ୍ତର ଆଣିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ, ଜଳସମ୍ପଦ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ, ମୁଖ୍ୟମନ୍ତ୍ରୀ ସଚିବ (୫-ଟି) ଭି.କେ. ପାଣ୍ଡିଆନଙ୍କ ସମେତ ଅନ୍ୟ ବହୁ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *