ବହିବ ପବନ, ବଢ଼ିବ ବର୍ଷା

ଭୁବନେଶ୍ୱର, ୫ା୮ (ବୁ୍ୟରୋ): ରାଜ୍ୟରେ ସକ୍ରିୟ ରହିଥିବା ମୌସୁମୀ ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଜାରି ରହିଛି । ଆସନ୍ତାକାଲିଠାରୁ ବର୍ଷାର ପରିମାଣ ଧୀରେ ଧୀରେ ବଢ଼ିବ । ୧୧ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୭ ତାରିଖରେ ଉତ୍ତର-ପଶ୍ଚିମ ତତ୍ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ସହ ପବନର ଘଣ୍ଟା ପ୍ରତି ବେଗ ୪୫ରୁ ୫୫ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଘୁର୍ଣ୍ଣିବଳୟ ଲଘୁଚାପ ରୂପ ନେବାକୁ ଥିବାବେଳେ ସମୁଦ୍ର ଅଶାନ୍ତ ରହିବ, ତେଣୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ପାଣିପାଗ କେନ୍ଦ୍ର ବାରଣ କରିଛି ।
ସୂଚନା ଅନୁଯାୟୀ, ଆସନ୍ତାକାଲି ବରଗଡ଼, ସୋନାପୁର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ମୋଟ ୧୭ ଜିଲ୍ଲାର କିଛଇ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ, ଏଥିପାଇଁ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସେହିପରି ଆସନ୍ତା ୭ ତାରିଖ ଦିନ ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ମୋଟ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୮ ତାରିଖ ଦିନ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ସୋନପୁର, ବୌଦ୍ଧ, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ରହିଛି । ୯ ତାରିଖ ଦିନ ଅନୁରୂପ ଭାବେ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଥିବାବେଳେ କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ସମ୍ୱଲପୁର, ଯାଜପୁର, କଟକ ସହ ବଲାଙ୍ଗିର, ସୋନପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସତର୍କତା ପ୍ରକାଶ ପାଇଥିବାବେଳେ ୱାର୍ଣ୍ଣିଂ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ରାଜ୍ୟ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି) ଚିଠି ଲେଖିଛନ୍ତି । ବର୍ଷା ପରିମାଣ ବଢ଼ିବା ସହ ପବନ ବେଗ ବଢ଼ିବା ସମ୍ଭାବନା ଥିବାବେଳେ ଚାଷ କ୍ଷତିଗ୍ରସ୍ତ ହେବା ସମ୍ଭାବନା ସହ ତଳି ଅଞ୍ଚଳରେ ପାଣି ଜମିବା ଓ ବିଭିନ୍ନ ସମସ୍ୟା ଦେଖାଦେବା ସମ୍ଭାବନା ରହିଛି । ଏଣୁ ଏଥିପ୍ରତି ଗୁରୁତ୍ୱ ଦେବା ସହ ଦୈନିକ ସବିଶେଷ ତଥ୍ୟ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରିବାକୁ କୁହାଯାଇଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *