ମୁଖ୍ୟମନ୍ତ୍ରୀଙ୍କ ‘ସ୍ୱରାଜ’ ବୃକ୍ଷରୋପଣ

ସ୍ୱାଧୀନତାର ୭୫ ବର୍ଷରେ ଗାନ୍ଧୀ ଜୟନ୍ତୀ
ଭୁବନେଶ୍ୱର (ବୁ୍ୟରୋ): ରବିବାର ପବିତ୍ର ଗାନ୍ଧୀ ଜୟନ୍ତୀ । ସ୍ୱାଧୀନତାର ୭୫ ବର୍ଷରେ ମହାତ୍ମା ଗାନ୍ଧୀଙ୍କ ପୂଣ୍ୟ ଜନ୍ମତିଥିର ସ୍ୱତନ୍ତ୍ର ଗୁରୁତ୍ୱ ରହିଛି । ଏହି ଅବସରରେ ଲୋକସେବା ଭବନରେ ପାଳିତ ହୋଇଛି ଶାନ୍ତି, ଅହିଂସା ଓ ସ୍ୱରାଜର ମହୋତ୍ସବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଲୋକସେବା ଭବନ ପରିସରରେ ପବିତ୍ର ଅଶ୍ୱତ୍ଥ ବୃକ୍ଷକୁ ସ୍ୱରାଜ ବୃକ୍ଷ ଭାବରେ ରୋପଣ କରିଛନ୍ତି । ସାରା ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ପବିତ୍ର ମାଟି ଓ ଜଳ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ସ୍ୱରାଜ ବୃକ୍ଷ ରୋପଣ କରିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଅଶ୍ୱତ୍ଥ ବୃକ୍ଷ ସାରା ଦେଶରେ ଯୁଗ ଯୁଗ ଧରି ଶାନ୍ତି, ସ୍ୱାଧୀନତା ଓ ଅହିଂସାର ବାର୍ତ୍ତା ବହନ କରିଆସିଛି ଏବଂ ଯୁଗ ଯୁଗ ପାଇଁ ଏ ବାର୍ତ୍ତା ବହନ କରିଚାଲିବ । ଗାନ୍ଧୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହୋଇ ଏକ ସମୃଦ୍ଧ ଭାରତ ଗଠନ ନିମନ୍ତେ ଶକ୍ତିଶାଳୀ ଯୋଗଦାନ ରଖିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ, ଏହି ବୃକ୍ଷ ସିନ୍ଧୁ ସଭ୍ୟତାରୁ ଆରମ୍ଭ କରି ଭଗବାନ ବୁଦ୍ଧଙ୍କ ସାଧନା ସହ ଯୋଡି ହୋଇ ରହିଛି । ଗୀତାରେ ମଧ୍ୟ ଏ ବୃକ୍ଷର ବର୍ଣ୍ଣନା ରହିଛି । ଏ ବୃକ୍ଷ ଆମ ସାମାଜିକ ଓ ସାଂସ୍କୃତିକ ଜୀବନର ସାକ୍ଷୀ । ଏହା ଅତୀତରେ ଥିଲା, ବର୍ତ୍ତମାନ ଅଛି ଏବଂ ଭବିଷ୍ୟତରେ ମଧ୍ୟ ରହିଥିବ । ଏହି ଅବସରରେ ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସଂଘର ସଭାପତି ନୀଳମଣି ସାମଲ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଧୀନତା ସଂଗ୍ରାମର ଏକ ପ୍ରମୁଖ ପ୍ରତୀକ ଭାବେ ଏକ ଅରଟ ଉପହାର ପ୍ରଦାନ କରିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀ ସାମଲଙ୍କୁ ଏକ ଶାଲ୍ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ ।
ଏହି ଅବସରରେ ସାରା ରାଜ୍ୟରେ ବୁଲି ବୁଲି ଶାନ୍ତି ଓ ଅହିଂସାର ବାର୍ତ୍ତା ପ୍ରଚାର କରୁଥିବା ଅହିଂସା ରଥ ଆସି ଲୋକସେବା ଭବନରେ ପହଞ୍ଚିଥିଲା । ଏହାକୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ ଅହିଂସା ରଥକୁ ଓଡିଶାବାସୀ ଯେଭଳି ଭାବରେ ବିପୁଳ ସ୍ୱାଗତ ସମ୍ମାନ ଜଣାଇଲେ ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ଉକ୍ରଳ ପ୍ରସଙ୍ଗର ସ୍ୱତନ୍ତ୍ର ସଂଖ୍ୟା ସହ ଓଡିଶାରେ ଗାନ୍ଧୀ ପୁସ୍ତକର ମଧ୍ୟ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିଥିଲେ । ମନ୍ତ୍ରୀ ପ୍ରଦୀପ ଅମାତ ଓ ମନ୍ତ୍ରୀ ଅଶୋକ ପଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । କାର୍ଯ୍ୟକ୍ରମରେ ମନ୍ତ୍ରୀମଣ୍ଡଳର ସଦସ୍ୟ ବୃନ୍ଦ ବିଧାୟକ ଗଣ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତାଙ୍କ ସମେତ ବରିଷ୍ଠ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ । ବିଶିଷ୍ଟ ଗାୟିକା ନାଜୀଆ ଆଲାମ ରାମଧୁନ ଗାନ କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *