ଗରିବଙ୍କ ଖୁସିରେ ମୁଁ ଖୁସି

ଭୁବନେଶ୍ୱର, ୨୭ା୧୧ (ବୁ୍ୟରୋ): ଘୋଷଣା ଅନୁଯାୟୀ ରବିବାର ସହାୟତା ପାଇଛନ୍ତି କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜିନାଲ କର୍ମଚାରୀ । ମଧ୍ୟବର୍ତ୍ତୀ କାଳୀନ ସହୟତା ଭାବରେ ତୋଳାଳୀ୧୦୦୦ ଟଙ୍କା ପାଇଥିବାବେଳେ ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ମିଳିଛି ୧୫୦୦ ଟଙ୍କା । ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସହାୟତା ବଣ୍ଟନ କରିଛନ୍ତି । ହିତାଧିକାରୀଙ୍କ ଖାତାକୁ ୪୩ କୋଟି ଟଙ୍କା ଦିଆଯାଇଛି । ଡିବିଟି ଜରିଆରେ ଏହି ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା ହୋଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଗରିବ ଲୋକର ଖୁସି ହିଁ ତାଙ୍କର ସବୁଠାରୁ ବଡ ଖୁସି । ଗରିବ ଲୋକଙ୍କ ସହ ସେ ସବୁବେଳେ ରହିଛନ୍ତି ଓ ସେମାନଙ୍କ କଲ୍ୟାଣ ପାଇଁ ତାଙ୍କର ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଉପନିର୍ବାଚନ ଆଚରଣବିଧି ଉଠିବା ପରେ ବରଗଡ ଜିଲ୍ଲାର ତୋଳାଳି ଓ ଅନ୍ୟ କେନ୍ଦୁପତ୍ର କର୍ମଚାରୀଙ୍କୁ ଏସବୁ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।
କେନ୍ଦୁପତ୍ର ହେଉଛି ଗରିବ ଲୋକର ଦାନା ପାଣିର କଥା । ତେଣୁ ତା ଉପରେ ୧୮% ଜିଏସ୍ଟିକୁ ନାପସନ୍ଦ କରି ଏହାର ସମ୍ପୂର୍ଣ୍ଣ ଉଛେଦ ପାଇଁ ମୁଖ୍ୟମନ୍ତ୍ରୀ ଏହି ଅବସରରେ କେନ୍ଦ୍ର ନିକଟରେ ଦାବି କରିଥିଲେ । ନୂଆପଡ଼ା, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡା, କନ୍ଧମାଳ, ବୌଦ୍ଧ, କେନ୍ଦୁଝର, ଦେବଗଡ଼ ଓ ବଲାଙ୍ଗୀର ଆଦି ୧୨ ଜିଲ୍ଲାର ୧୭ ଡିଭିଜନର ହିତାଧିକାରୀଙ୍କୁ ସହାୟତା ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମନ୍ତ୍ରୀ ପ୍ରଦୀପ ଅମାତ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ କଲ୍ୟାଣ ପାଇଁ ସରକାରଙ୍କ ପଦକ୍ଷେପ ଉପରେ ଆଲୋକପାତ କରି ଏକାଧିକ ସୂଚନା ଦେଇଥିଲେ ।
ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଡାଃ ମୋନା ଶର୍ମା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଜଙ୍ଗଲ ପରିବେଶ ବିଭାଗର ବରିଷ୍ଠ ଅଧିକାରୀ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ହିତାଧିକାରୀ ଶାନ୍ତନୁ କୁମାର ଭୋଇ, ଝାରସୁଗୁଡ଼ାର ପୁଷ୍ପଲତା ଭଇଁଶା ଓ ନୂଆପଡ଼ାର ଇଶ୍ୱର ଶବରଙ୍କ ସହ ସହାୟତା ବିଷୟରେ ଆଲୋଚନା କରି ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ପିସିସିଏଫ୍ କେନ୍ଦୁପତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନାଯୋଗ୍ୟ, ଗତ ୨୩ ତାରିଖ ମୁଖ୍ୟମନ୍ତ୍ରୀ ଏ ସହାୟତା ବିଷୟ ଘୋଷଣା କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *