ଶିଳ୍ପ ବିକାଶରେ ମା’ମାନେ ଇତିହାସ ରଚିବେ
ଭୁବନେଶ୍ୱର, ୨୨ା୧୨ (ବୁ୍ୟରୋ): ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଗସ୍ତ କରି ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଶୁଭାରମ୍ଭ କରିଛନ୍ତି । ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍ଘାଟିତ ହୋଇଥିବାବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତି ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ବାଲେଶ୍ୱରର ସୋମନାଥପୁରରେ ଏକ ନବନିର୍ମିତ ରେଳ ଓଭରବ୍ରିଜକୁ ମଧ୍ୟ ଉଦ୍ଘାଟିତ କରିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୫୬୦୦ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୨୨୦ କୋଟି ଟଙ୍କାର ସହାୟତା ମଧ୍ୟ ପ୍ରଦାନ କରି ମିଶନ ଶକ୍ତି ମା’ଙ୍କୁ ଉଦ୍ୟୋଗୀ ହେବା ପାଇଁ ଆହ୍ୱାନ ଦେଇଥିଲେ ଏବଂ ଏହି ଆନେ୍ଦାଳନକୁ ଏକ ନୂଆ ସୋପାନକୁ ନେବା ପାଇଁ ଉଦ୍ୟମ କରିବାକୁ ପରାମର୍ଶ ଦେଇଥିଲେ । ଜିଲ୍ଲାର ୬୦ ହଜାର ମାଙ୍କୁ ଏହି ସହାୟତା ମିଳିଲା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ୱାନ ପଞ୍ଚାୟତ, ୱାନ ପ୍ରଡକ୍ଟ ଉପରେ ଗୁରୁତ୍ୱାରୋପ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ, ପ୍ରତ୍ୟେକ ପଞ୍ଚାୟତ ଯଦି ଗୋଟିଏ ଗୋଟିଏ ସ୍ୱତନ୍ତ୍ର ଦ୍ରବ୍ୟ ଉତ୍ପାଦନ କରିପାରିବେ, ତେବେ ଏଥିପାଇଁ ବଜାର ସୃଷ୍ଟି ହେବାରେ ସୁବିଧା ହେବା ସହ ପ୍ରତ୍ୟେକ ପଞ୍ଚାୟତର ଏକ ସ୍ୱତନ୍ତ୍ର ପରିଚୟ ମଧ୍ୟ ସୃଷ୍ଟି ହୋଇପାରିବ ।
ମା ମାନେ ଓଡିଶାର ଶିଳ୍ପ ବିକାଶରେ ନୂଆ ଇତିହାସ ସୃଷ୍ଟି କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ, ଆଗାମୀ ୫ ବର୍ଷରେ ମା’ଙ୍କୁ ବିନା ସୁଧରେ ୫୦ ହଜାର କୋଟି ଟଙ୍କାର ଋଣ ଦିଆଯିବ । ବାଲେଶ୍ୱର ହେଉଛି ଏକ ଆଗୁଆ ଜିଲ୍ଲା । ଶିକ୍ଷା, ସାହିତ୍ୟ, ଶିଳ୍ପ, କୃଷି, ଭିତ୍ତିଭୂମି ସବୁ କ୍ଷେତ୍ରରେ ବାଲେଶ୍ୱର ଆଗୁଆ । ଆଜିର କାର୍ଯ୍ୟକ୍ରମ ବିକାଶର ଏହି ଧାରାକୁ ଆହୁରି ଆଗକୁ ନେବ ବୋଲି ସେ କହିଥିଲେ ।
କାର୍ଯ୍ୟକ୍ରମରେ ଶିଳ୍ପ ଓ ଶକ୍ତି ମନ୍ତ୍ରୀ ପ୍ରତାପ ଦେବ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର ଓ ବାଲେଶ୍ୱର ବିଧାୟକ ସ୍ୱରୂପ ଦାସ ପ୍ରମୁଖ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ବାଲେଶ୍ୱର ଜିଲ୍ଲାରେ ହୋଇଥିବା ଅନେକ ବିକାଶ ମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ । ମେଡିକାଲ କଲେଜଠୁ ଆରମ୍ଭ କରି ରାସ୍ତାଘାଟ, ପାନୀୟ ଜଳ, ସ୍ୱାସ୍ଥ୍ୟ କଲ୍ୟାଣ କାର୍ଯ୍ୟକ୍ରମ ସବୁ କ୍ଷେତ୍ରରେ ବାଲେଶ୍ୱର ଜିଲ୍ଲାରେ ଉଲ୍ଲେଖନୀୟ କାର୍ଯ୍ୟ ହେଉଛି ବୋଲି ସେମାନେ କହିଥିଲେ । ମିଶନ ଶକ୍ତି କାର୍ଯ୍ୟକ୍ରମ ଦ୍ୱାରା ମା’ଙ୍କୁ ନୂଆ ପରିଚୟ ମିଳିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲାର ବିଧାୟକଗଣ ଉପସ୍ଥିତ ଥିଲେ । ଜିଲ୍ଲାପାଳ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଧନ୍ୟବାଦ ଅର୍ପଣ କରିଥିଲେ ।