୩ଠ ମିନିଟରେ ୫୪ଠଠ ବିଜୁଳି
ଭୁବନେଶ୍ୱର, ୨୯ା୩(ବୁ୍ୟରୋ): ବିଜୁଳି ଘଡ଼ଘଡ଼ି ମାରିବାରେ ବୁଧବାର ସର୍ବକାଳୀନ ରେକର୍ଡ ସୃଷ୍ଟି ହୋଇଛି । ବୁଧବାର ଅପରାହ୍ନରେ ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳରେ ୩୦ ମିନିଟ୍ରେ ମାରିଛି ୫,୪୦୦ ଥର ବିଜୁଳି । କେନ୍ଦ୍ର ସରକାରଙ୍କ “ଦାମିନୀ’ ଆପ୍ରୁ ଏହା ଜଣାପଡ଼ିଛି ।
ସେପଟେ ରାଜ୍ୟରେ ଆଉ ଏକ ପଶ୍ଚିମା-ଝଡ଼ ଆସିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏପ୍ରିଲ ୨ ତାରିଖ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଏକ ନୂଆ ପଶ୍ଚିମା-ଝଡ଼ ପ୍ରଭାବିତ କରିବାର ସୂଚନା ମିଳିଛି । ସେଥିପାଇଁ ଓଡ଼ିଶାରେ ଝଡ଼ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ବୁଲେଟିନ୍ ଅନୁସାରେ ୩୦ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ୍ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଏନେଇ କେନ୍ଦୁଝର, ମୟୂରଭଞ୍ଜ,ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କନ୍ଧମାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୦ ତାରିଖ ସକାଳ ସାଢେ ୮ଟାରୁ ୩୧ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସୋନପୁର, ବଲାଙ୍ଗିର, ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ୩୧ ତାରିଖ ସକାଳ ସାଢେ ୮ଟାରୁ ଏପ୍ରିଲ୍ ୧ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କଟକ ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୧ ତାରିଖ ସକାଳ ସାଢେ ୮ଟାରୁ ୨ ତାରିଖ ସକାଳ ସାଢେ ୮ଟା ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ତେବେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଦେବଗଡ଼, ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବାବେଳେ ଏହିସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।