ଚାଷୀ ନୂଆ ଓଡ଼ିଶାର ସାରଥି
ଭୁବନେଶ୍ୱର, ୨୪ା୪ (ବୁ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଲୋକସେବା ଭବନର କନ୍ଭେନ୍ସନ୍ ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୨୦୨୨-୨୩ ବର୍ଷ ପାଇଁ ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୩୫ ଲକ୍ଷ ଚାଷୀଙ୍କୁ ୪୪୧.୭୬ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି । ରାଜ୍ୟର ସମସ୍ତ ସମବାୟ ବ୍ୟାଙ୍କ ଓ ୨୪୦୯ଟି ପ୍ରାଥମିକ କୃଷି ସମବାୟ ସମିତିକୁ ଏହି ରିହାତି ପରିମାଣ ପ୍ରଦାନ କରାଯାଇଛି । ପ୍ରଥମ ପର୍ଯ୍ୟାୟରେ ୪୧୫.୧୭ କୋଟି ଟଙ୍କାର ସୁଧ ରିହାତି ଦିଆଯାଇଥିଲା । ଏହିପରି ୨୦୨୨-୨୩ ବର୍ଷରେ ଚାଷୀମାନେ ସମୁଦାୟ ୮୫୬.୯୯ କୋଟି ଟଙ୍କା ସୁଧ ରିହାତି ପାଇଲେ ।
ସୂଚନାଯୋଗ୍ୟ, ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ପାଇଁ ଚାଷୀମାନଙ୍କୁ କୌଣସି ସୁଧ ଦେବାକୁ ପଡୁନାହିଁ । ୩୫ ଲକ୍ଷ ଚାଷୀଙ୍କ ମଧ୍ୟରୁ ୩୦ ଲକ୍ଷ ହେଉଛନ୍ତି କ୍ଷୁଦ୍ର ଓ ନାମମାତ୍ର ଚାଷୀ ।
ଏହି ଅବସରରେ ଉପସ୍ଥିତ ଚାଷୀ ବନ୍ଧୁ ଏବଂ ଭିଡିଓ କନଫରେନ୍ସିଂ ଜରିଆରେ ଯୋଡ଼ି ହୋଇଥିବା ଚାଷୀମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ, ଚାଷ ଆମ ଅର୍ଥନୀତିର ଆତ୍ମା, ବିକାଶର ଆଧାର । ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥି ହେଉଛନ୍ତି ଆମର ଚାଷୀମାନେ, ମା’ମାନେ ଓ ଯୁବକ-ଯୁବତୀମାନେ । ତେଣୁ ଆପଣମାନଙ୍କୁ ସଶକ୍ତୀକରଣ ଉପରେ ମୁଁ ସବୁବେଳେ ଜୋର୍ ଦେଇ ଆସିଛି ।
ମୁଖ୍ୟମନ୍ତ୍ରୀ ପୁଣି କହିଲେ, ଚାଷୀକୁ ସଶକ୍ତ କରିବାପାଇଁ ସ୍ୱତନ୍ତ୍ର ବଜେଟ୍ କରାଯାଇଛି । ବିନା ସୁଧରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କୃଷି ଋଣ ଦିଆଯାଉଛି । ଚାଷୀ ପରିବାରର କଲ୍ୟାଣ ପାଇଁ କାଳିଆ ଶିକ୍ଷା ବୃତ୍ତି ଦିଆଯାଉଛି । ଗଞ୍ଜାମର ଚାଷୀ ପରିବାରର ଜଣେ ପିଲା କିରଣ ସାହୁ କାଳିଆ ଶିକ୍ଷା ବୃତ୍ତି ପାଇ ବ୍ରହ୍ମପୁର ମେଡିକାଲ କଲେଜରେ ପଢ଼ିବା କଥା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସି ବ୍ୟକ୍ତ କରିଥିଲେ ।
ଚାଷୀକୁ ବିନା ସୁଧରେ ଋଣ ଦେବାରେ ଓଡ଼ିଶା ପ୍ରଥମ ରାଜ୍ୟ ଓ କାଳିଆ ପରି କଲ୍ୟାଣ ଯୋଜନା କରିବାରେ ମଧ୍ୟ ଓଡ଼ିଶା ପ୍ରଥମ ରାଜ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଆଜିର ସୁଧ ରିହାତି ଯୋଗୁ ଚାଷୀମାନଙ୍କୁ ଟଙ୍କାଟିଏ ବି ସୁଧ ଦେବାକୁ ପଡ଼ିଲା ନାହିଁ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ । ଆମର ସମବାୟ ଆନେ୍ଦାଳନ ଆଜି ଶକ୍ତିଶାଳୀ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଫସଲ ଋଣର ୬୦ ପ୍ରତିଶତ କେବଳ ସମବାୟ କ୍ଷେତ୍ର ହିଁ ଯୋଗାଉଛି । ଆମର ଚାଷୀ ଭାଇ ଆମର ଗର୍ବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ସେମାନଙ୍କ ପରିଶ୍ରମ ଓ ନିଷ୍ଠା ଯୋଗୁ କୃଷି କ୍ଷେତ୍ରରେ ଓଡ଼ିଶା ଦେଶର ଏକ ଆଗୁଆ ରାଜ୍ୟ ହୋଇପାରିଛି । ଚାଷୀଙ୍କ କଲ୍ୟାଣ ପାଇଁ ମୁଁ କାମ କରୁଛି ଓ କରି ଚାଲିବି ।
କାର୍ଯ୍ୟକ୍ରମରେ ଯୋଗଦେଇ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଲେ ଯେ, ରାଜ୍ୟର କୃଷକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି । ବାରମ୍ବାର କୃଷି କର୍ମଣ ପୁରସ୍କାର ପାଇଁ ମନୋନୀତ ହେବା ହେଉଛି ଆମ ପ୍ରତିବଦ୍ଧତାର ପ୍ରମାଣ । ସମବାୟ ବିଭାଗ, କୃଷି ବିଭାଗ ଓ ଖାଦ୍ୟ ଯୋଗାଣ ବିଭାଗର ମିଳିତ କାର୍ଯ୍ୟକ୍ରମ ଯୋଗୁ ରାଜ୍ୟ ଆଜି ଏକ ଅଭାବୀ ରାଜ୍ୟରୁ ଏକ ବଳକା ରାଜ୍ୟରେ ପରିଣତ ହୋଇଛି ବୋଲି ସେ କହିଥିଲେ ।
କାର୍ଯ୍ୟକ୍ରମରେ ତିନି ଜଣ ହିତାଧିକାରୀ ରୀନା ସେଠୀ, ନିକୁଞ୍ଜ ବିହାରୀ କାପ ଓ ସବିତା ସାମନ୍ତରାୟ ପ୍ରମୁଖ ଋଣ ଉପରେ ସୁଧ ରିହାତି ଯୋଗୁ ସେମାନେ କିପରି ଚାଷ ଓ ବ୍ୟବସାୟ କରି ନିଜ ପରିବାରକୁ ସୁରଖୁରରେ ଚଳାଇ ପାରୁଛନ୍ତି ସେ ବିଷୟରେ ବର୍ଣ୍ଣନା କରିଥିଲେ । ସୁଧ ରିହାତି ଯୋଜନା ପାଇଁ ଅନେକ ପରିବାର ଆଜି ସ୍ୱାବଲମ୍ବୀ ହୋଇ ପାରିଛନ୍ତି ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ ।
ସମବାୟ ବିଭାଗ ପ୍ରମୁଖ ସଚିବ ସଞ୍ଜୀବ ଚୋପ୍ରା ସ୍ୱାଗତ ଭାଷଣ ଦେଇଥିବାବେଳେ ସମବାୟ ନିବନ୍ଧକ ଉଦ୍ଧବ ଚରଣ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ ।