ସୃଷ୍ଟି ହେଲା ଘୂର୍ଣ୍ଣିବଳୟ
ଭୁବନେଶ୍ୱର, ୬ା୫(ବୁ୍ୟରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୮ ତାରିଖ ସକାଳ ସୁଦ୍ଧା ଲଘୁ·ପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୯ ତାରିଖରେ ତାହା ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରେ ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପୂର୍ବାନୁମାନ କରିଛି ।
ଏସମ୍ପର୍କରେ ସୂଚନା ଦେଇ ଭାରତୀୟ ପାଣିପାଗ ବିଭାଗର ଡିଜି ମୃତୁ୍ୟଞ୍ଜୟ ମହାପାତ୍ର କହିଛନ୍ତି, ଆସନ୍ତା ୮ ତାରିଖ ପରେ ବାତ୍ୟାର ତୀବ୍ରତା ଓ ଗତିପଥ ସମ୍ପର୍କରେ ସ୍ପଷ୍ଟ ଚିତ୍ର ମିଳିପାରିବ । ନିର୍ଦ୍ଦିଷ୍ଟ କେଉଁ ଅଞ୍ଚଳକୁ ସମ୍ଭାବ୍ୟ ବାତ୍ୟା ପ୍ରଭାବିତ କରିବ ସେନେଇ ସ୍ପଷ୍ଟ ସୂଚନା ମିଳିପାରିନି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ସର୍ବାଧିକ ୬୦ କିଲୋମିଟର ବେଗରେ ପବନ ବୋହିପାରେ । ଆଣ୍ଡାମାନ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସର୍ବାଧିକ ୭୦ କିଲୋମିଟର ବେଗରେ ପବନ ସହିତ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଯଥାଶୀଘ୍ର ସମୁଦ୍ରରୁ ସୁରକ୍ଷିତ ସ୍ଥାନକୁ ଫେରିଆସିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।
ଅନ୍ୟପକ୍ଷରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ୮ ତାରିଖରୁ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ । ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ ତାତି । କାଳବୈଶାଖୀର ପ୍ରଭାବ କମିବା ସହିତ ତାତି ବୃଦ୍ଧି ପାଇବ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲା ପାଇଁ କାଳବୈଶାଖୀ ସତର୍କ ସୂଚନା କରାଯାଇଛି । ଉପକୂଳ ଓଡ଼ିଶାର ଗୋଟିଏ କି ଦୁଇଟି ସ୍ଥାନରେ ବର୍ଷା ହେବ ।
ଇତିମଧ୍ୟରେ ଓଡିଶା ସରକାର ସମ୍ଭାବ୍ୟ ବାତ୍ୟା ମୋଚା ପ୍ରତି ଧ୍ୟାନ ଦେଇ ରାଜ୍ୟର ୧୮ଟି ଉପକୂଳବର୍ତ୍ତୀ ଓ ସଂଲଗ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସଜାଗ ରହିବା ପାଇଁ କୁହାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ପୁରୀ ପ୍ରଭୃତି ଜିଲ୍ଲାରେ ଝଡବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆଗାମୀ ୫ ଦିନ ପର୍ଯ୍ୟନ୍ତ ଦେଶର କୌଣସି ଇଲାକାରେ ଗ୍ରୀଷ୍ମ ଲହର ହେବାର ଆଶଙ୍କା ନାହିଁ ବୋଲି ଆଇଏମ୍ଡି ପକ୍ଷରୁ କୁହାଯାଇଛି ।